Friday, April 21, 2017

କୃତଜ୍ଞତାଜ୍ଞାପନର ପର୍ବ

ହିନ୍ଦୁ ଧର୍ମାବଲମ୍ବୀମାନେ ଦେବଦେବୀଙ୍କଠାରେ କୃତଜ୍ଞତାଜ୍ଞାପନ ପାଇଁ ବିଭିନ୍ନ ତୀର୍ଥ ଭ୍ରମଣ ତଥା ଧାର୍ମିକ ଉତ୍ସବରେ ଅଂଶ ଗ୍ରହଣ କରିଥାନ୍ତି l ସାଧାରଣ ଜୀବନଯାତ୍ରାରେ ଝଡ଼ଝଞ୍ଜାର ସମ୍ମୁଖୀନ ହେବାବେଳେ ଅନେକେ ଦେବଦେବୀଙ୍କ କୃପା ଲାଭଲାଗି ପ୍ରାର୍ଥନା କରି ଶରଣାପନ୍ନ ହୋଇଥାନ୍ତି l ସମୟାନ୍ତେ ସ୍ଥିତାବସ୍ଥାକୁ ଫେରିବା ପରେ ବିଭିନ୍ନ ଧାର୍ମିକ ପର୍ବପର୍ବାଣୀରେ ଅଂଶ ଗ୍ରହଣ କରି କୃତଜ୍ଞତା ଜ୍ଞାପନ ମଧ୍ୟ କରିଥାନ୍ତି l ବ୍ରହ୍ମପୁର ଠାକୁରାଣୀ ଯାତ୍ରା ଏକ ଲୋକମହୋତ୍ସବ ଭାବେ ଗଢ଼ି ଉଠିଥିବାସ୍ଥଳେ ମୁଖ୍ୟତଃ ଘଟ ଶୋଭାଯାତ୍ରାରେ ଅଂଶଗ୍ରହଣ ତଥା ମାନସିକ ବେଶ ଧାରଣକୁ ବିଚାରକୁ ନେଲେ ଏହାକୁ ଏକ କୃତଜ୍ଞତା ଜ୍ଞାପନର ପର୍ବ ରୂପେ ବିବେଚନା କରାଯାଇପାରେ l
ଠାକୁରାଣୀ ଯାତ୍ରାରେ ବେଶ ଧାରଣ ପାଇଁ ଜଣେ ନିଜେ ମାନସିକ କରିପାରେ କିମ୍ବା ଅନ୍ୟ ଜଣକ ପାଇଁ ମଧ୍ୟ ମାନସିକ କରାଯାଇ ପାରେ l ବୟସ୍କ ପୁରୁଷମାନେ ନିଜେ ମାନସିକ କରୁଥିବା ବେଳେ କମ ବୟସର ବାଳକମାନଙ୍କ କ୍ଷେତ୍ରରେ ସେମାନଙ୍କ ପିତାମାତା ବା ପରିବାରର ଗୁରୁଜନମାନେ ମାନସିକ କରିଥାନ୍ତି l ପାରମ୍ପରିକଭାବେ ଗଞ୍ଜାମ ଜିଲ୍ଲାରେ ଶକ୍ତିପୂଜା ବହୁଳଭାବେ ପ୍ରଚଳିତ ଏବଂ ବ୍ରହ୍ମପୁରରେ ବଡ ଠାକୁରାଣୀ ଅଧିଷ୍ଠାତ୍ରୀ ଦେବୀରୂପେ ପୂଜିତ l ପୁରୁଣା ବ୍ରହ୍ମପୁର ଅଞ୍ଚଳରେ ଦ୍ୱି-ବାର୍ଷିକ ଠାକୁରାଣୀ ଯାତ୍ରା ୨୪୦ରୁ ଅଧିକ ବର୍ଷ ଧରି ଆୟୋଜିତ ହୋଇଆସୁଥିବା ହେତୁ ଏହି ଭଳି ଏକ ଧାର୍ମିକ ମହୋତ୍ସବରେ ବେଶ ଧାରଣଲାଗି ମାନସିକ କରିବା ଧାରା ଲୋକଆଦୃତ ହୋଇପାରିଛି l ବେଶଧାରଣ କେବଳ ପୁରୁଷମାନଙ୍କ କ୍ଷେତ୍ରରେ, ମୁଖ୍ୟତଃ ବାଳକଙ୍କଠାରୁ ଯୁବକଙ୍କ ମଧ୍ୟରେ ସୀମିତ ଥିବାବେଳେ ମହିଳାମାନେ ଘଟଧାରଣ ଲାଗି ମାନସିକ କରିଥାନ୍ତି l ପୁରୁଣା ବ୍ରହ୍ମପୁରର ଅନେକ ପରିବାରରେ ଏହା ଏକ ପରମ୍ପରା ରୂପେ ପ୍ରବର୍ତ୍ତି ହୋଇଆସିଛି l
ଠାକୁରାଣୀ ଯାତ୍ରା ଆୟୋଜନରେ ବିଭିନ୍ନ ନୀତି ରୂପାୟନ ଲାଗି କେତେକ ନିର୍ଦ୍ଦିଷ୍ଟ ପରିବାର ପୁରୁଷାନୁକ୍ରମିକ ଭାବେ ସେବା ଯୋଗାଇ ଆସୁଥିବା ଲକ୍ଷ୍ୟ କରାଯାଇପାରେ l ଯାତ୍ରା ଆୟୋଜନ ନିମନ୍ତେ ନିଷ୍ପତି ଗ୍ରହଣ ପରେ ଶୁଭଖୁଣ୍ଟି ସ୍ଥାପନଠାରୁ ଆରମ୍ଭ କରି, ଅସ୍ଥାୟୀ ମଣ୍ଡପ ନିର୍ମାଣ, ଗୋବର ଲେପନ ଓ ଝୋଟି ଦିଆ, ଘଟ ନିର୍ମାଣ, ଘଟ ଚିତ୍ରଣ, ଫୁଲ ସଂଗ୍ରହ, ବାଉଁଶ ଚାଙ୍ଗୁଡ଼ି ପ୍ରଦାନ, ଛାମୁଣ୍ଡିଆ ନିର୍ମାଣ, ଘଟ ପରିକ୍ରମାରେ ସୁରକ୍ଷା ଏବଂ ପୂଜା ପଦ୍ଧତି ପରିଚାଳନା ଲାଗି ବଂଶାନୁକ୍ରମିକଭାବେ କାର୍ଯ୍ୟ କରି ଆସୁଛନ୍ତି l
ଦ୍ୱି-ବାର୍ଷିକ ବ୍ରହ୍ମପୁର ଠାକୁରାଣୀ ଯାତ୍ରା ଆୟୋଜନ ପାଇଁ ଦେଶୀବେହେରା ନିଜ କୁଳର ସେନାପତି ଓ ସର୍ବସାଧାରଣଙ୍କ ସମ୍ମତି ହାସଲ କରିବାପରେ ବଡ ଠାକୁରାଣୀଙ୍କଠାରୁ ଆଜ୍ଞା ପାଇ ଶୁଭଖୁଣ୍ଟ ସ୍ଥାପନ ମାଧ୍ୟମରେ ଯାତ୍ରା ତିଥି ଘୋଷଣା କରିଥାନ୍ତି l ଶୁଭଖୁଣ୍ଟ ପ୍ରସ୍ତୁତି ନିମନ୍ତେ ବାଉଁଶ ଆଗାସାହୀସ୍ଥିତ ପୃଷ୍ଟି ବଂଶ ପୁରୁଣା ବାଉରି ସାହୀରୁ କାଟି ଆଣିଥାନ୍ତି l ପୃଷ୍ଟି ପରିବାରଙ୍କ କୌଳିକ ବୃତ୍ତି ତୁଳାଭିଣା l ସେ ବାଉଁଶ ନିଜ ଘରେ ଇଷ୍ଟଦେବୀଙ୍କଠାରେ ପୂଜା କରି ଗେରୁ ଲିପି ଚନ୍ଦନ, ସିନ୍ଦୁର ଲଗାଇ ଦେଶୀବେହେରାଙ୍କ ଘର ସାମନାରେ ଆୟୋଜିତ ସଭାସ୍ଥଳକୁ ଆଣିଥାନ୍ତି l ଏହି ଶୁଭଖୁଣ୍ଟ ଶୋଭାଯାତ୍ରାରେ ବଡ ଠାକୁରାଣୀ ମନ୍ଦିରକୁ ନିଆଯାଇ ଆଜ୍ଞାମାଳ ସହ ଫେରିବା ପରେ ଅସ୍ଥାୟୀ ମଣ୍ଡପ ନିର୍ମାଣସ୍ଥଳରେ ସ୍ଥାପନ କରାଯାଇଥାଏ l
ଅସ୍ଥାୟୀ ପୂଜା ମଣ୍ଡପ ନିର୍ମାଣ ପାଇଁ ଜଣେ କୌଳିକ ମହାରଣା ସ୍ୱତଃପ୍ରବୃତଭାବେ ସେବା ଯୋଗାଉଥିବା ବେଳେ ପାରମ୍ପରିକଭାବେ ଶଙ୍କରପୁର ସାହୀର ବାଉରି ସଂପ୍ରଦାୟର ଅବିବାହିତ କନ୍ୟା ଓ ମହିଳାମାନେ ଅସ୍ଥାୟୀ ମଣ୍ଡପରେ ଗୋବର ଲିପା ଓ ଝୋଟି ଦିଆ କାର୍ଯ୍ୟ ସମାପନ କରିଥାନ୍ତି l ଅସ୍ଥାୟୀ ମଣ୍ଡପ କଞ୍ଚା ବାଉଁଶ ଓ ନଡ଼ାରେ ନିର୍ମିତ ହେବା ବେଳେ ଝୋଟି ପାଇଁ ଧଳା ଖଡି ପାଣିରେ ଘୋରି ପିଠଉ ତିଆରି କରାଯିବା ନୀତି ରହିଛି l ଠାକୁରାଣୀଙ୍କୁ ନିମନ୍ତ୍ରଣ କରିବାପାଇଁ ଫୁଲସୁନ୍ଦରୀ ସାହୀରୁ ଫୁଲ ଚାଙ୍ଗୁଡି ଅଣାଯାଉଥିବା ବେଳେ ଷଣ୍ଢ ମହାନ୍ତି ସାହୀରେ ବସବାସ କରୁଥିବା ଅନ୍ୟଏକ ରାଉଳ ପରିବାର ଇଟାମଲ୍ଲୀ ଫୁଲ ହାର ଯୋଗାଇଥାନ୍ତି l
ବଡ ବଜାରରେ ଆୟୋଜିତ ଠାକୁରାଣୀ ଯାତ୍ରା ପାଇଁ ଅନ୍ୟୂନ ସାତ କିଲୋମିଟର ଦୂରବର୍ତ୍ତୀ ଲାଞ୍ଜିପଲ୍ଲୀର କୁମ୍ଭାରମାନେ ଘଟ ନିର୍ମାଣ କରି ଆସୁଛନ୍ତି l ଶୁଭ ତିଥି ଚୟନ କରି କୁମ୍ଭାରମାନେ ଘଟ ତିଆରି କାମ ଆରମ୍ଭ କରିଥାନ୍ତି l ମଧ୍ୟରାତ୍ରୀରେ କୁମ୍ଭାର ପରିବାରର ଜଣେ ପୁରୁଷ ସଦସ୍ୟ ମୃତିକା ପୂଜା କରି ଏକ ନିର୍ଦ୍ଦିଷ୍ଟସ୍ଥାନରୁ କାଠରେ ତାଡି ମାଟି ସଂଗ୍ରହ କରିଥାନ୍ତି l ମାଟି ହାଣ୍ଡି ନିର୍ମାଣ ପରେ ତାହାକୁ ଯେଉଁ ସ୍ଥାନରେ ପୋଡ଼ା ଯାଇଥାଏ ତାହାକୁ ପୋତି ଦିଆଯାଏ l ଅପର ପକ୍ଷେ ଯାତ୍ରାର ଶେଷ ଦିବସରେ ସାଧାରଣ ମହିଳାମାନେ ମଣ୍ଡନ କରୁଥିବା ଘଟ ଲାଠୀ ଓ ଚିକରଡା ଗ୍ରାମର କୁମ୍ଭକାରମାନଙ୍କ ଦ୍ୱାରା ନିର୍ମିତ ହୋଇଥାଏ l ଲାଞ୍ଜିପଲ୍ଲୀର କୁମ୍ଭକାରମାନେ ଦେଶୀବେହେରାଙ୍କ ଘରେ ଘଟ ଯୋଗାଇ ଦେବା ପରେ ମୁଖ୍ୟ ଘଟ ସହ ଆଠଗୋଟି ପାର୍ଶ୍ୱଘଟକୁ ଆଇନାବନ୍ଧ ସାହୀର ଏକ ପରିବାରର ମହିଳାମାନେ ଚିତ୍ରିତ କରିଥାନ୍ତି l ଘଟରେ ବ୍ୟବହୃତ ଟାହିଆ ଶଙ୍କରପୁର ସାହୀର ମେଦିରିମାନଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥାଏ l ସେହିପରି ଠାକୁରାଣୀଙ୍କୁ ନିମନ୍ତ୍ରଣ ଶୋଭାଯାତ୍ରାରେ ପାଣ୍ଡବ ନଗରର ବାଦ୍ୟକାର ଓ ଷଣ୍ଢ ମହାନ୍ତି ସାହୀର ବୀରକାହାଳି ବାଦକ ସାମିଲ ହୋଇ ଆସୁଛନ୍ତି l ଘଟ ପରିକ୍ରମା କାଳରେ ମୁଖ୍ୟଘଟ ପାର୍ଶ୍ୱରେ ଦଳେଇ ବଂଶଜ ସାହାୟତା ପ୍ରଦାନର ପରମ୍ପରା ରହିଛି l ସେମାନେ ପ୍ରସାଦ ବିତରଣ ଓ ଅସ୍ଥାୟୀ ମଣ୍ଡପରେ ପରିଚ୍ଛନ୍ନତା ଇତ୍ୟାଦି କାର୍ଯ୍ୟ ମଧ୍ୟ ତତ୍ୱାବଧାନ କରିଥାନ୍ତି l ଯାତ୍ରା ପାଇଁ ଛାମୁଣ୍ଡିଆ ନିର୍ମାଣ କାମର ଦାୟିତ୍ୱ ପ୍ରତିବର୍ଷ ଦେଶୀବେହେରା ସାହୀ ବ୍ୟବସାୟୀ ସଂଘ, ଦେଶୀବେହେରା ସାହୀ ପଟ୍ଟା ରିକ୍ସା ସଂଘ, ତ୍ରିନାଥ ଠାକୁର ପଟ୍ଟା ରିକ୍ସା ସଂଘ, ନଡିଆ ଗୋର୍ଜୀ ବ୍ୟବସାୟୀ ସଂଘ ପ୍ରମୁଖ ଗ୍ରହଣ କରିଥାନ୍ତି l ଠାକୁରାଣୀ ଯାତ୍ରାରେ ଭୋଗ ରୂପେ ପ୍ରସିଦ୍ଧ ଗଜା ମୁଆଁ ପୁରୁଣା ବ୍ରହ୍ମପୁରର ଗୁଡିଆ ସଂପ୍ରଦାୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇ ବିକ୍ରୀ କରାଯାଇଥାଏ l
ଠାକୁରାଣୀ ଯାତ୍ରା ଆୟୋଜନ କାଳରେ ଦେଶୀବେହେରାଙ୍କ ପକ୍ଷରୁ ବିଭିନ୍ନ ସେବା ପ୍ରଦାନକାରୀ ପରିବାର ଓ ସଂପ୍ରଦାୟଙ୍କୁ ଯାତ୍ରାରେ ଯୋଗଦାନ ପାଇଁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ କରାଯିବା ପରମ୍ପରା ରହିଛି l ଏହିପରି ସାମୂହିକ ଉଦ୍ୟମ ହେତୁ ଯାତ୍ରା ପରିଚାଳନା ସମ୍ଭବପର ହୋଇଥାଏ l


ସମ୍ବାଦ (ବ୍ରହ୍ମପୁର ସଂସ୍କରଣ) ୧୯ ଏପ୍ରିଲ ୨୦୧୭

No comments: