Wednesday, April 10, 2019

ବାଘ ନାଚ଼


ବ୍ରହ୍ମପୁର ଠାକୁରାଣୀ ଯାତ୍ରାରେ ବାଘ ନାଚ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥାଏ । ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସମେତ ବିଭିନ୍ନ ରାଜ୍ୟରେ ବାଘ ନାଚ ପ୍ରଚଳିତ ଥିଲେ ହେଁ ଏଠାକାର ବାଘ ନାଚ ସାଜସଜ୍ଜା, ନୃତ୍ୟ ଓ ବାଦ୍ୟ ବିଭିନ୍ନ ଦିଗରୁ ଅପେକ୍ଷାକୃତ ମନମୁଗ୍ଧକର ହୋଇଥାଏ । ସାଧାରଣତଃ ଯାତ୍ରା ଅବସରରେ ପୂର୍ବ-ମାନସିକ କିମ୍ୱା ନିଜ ଆଗ୍ରହ ଜନିତ କାରଣରୁ ବେଶ ଧାରଣ କରିଥାନ୍ତି । ବାଘ ନାଚ କରିବା ନିମନ୍ତେ ବ୍ୟକ୍ତିବିଶେଷଙ୍କୁ ନୃତ୍ୟରେ ପାରଙ୍ଗମ ହେବାକୁ ପଡ଼ିଥାଏ ଏବଂ ଏହି ଦୃଷ୍ଟିରୁ ଅନଭିଜ୍ଞମାନେ ବାଘ ବେଶ ଧାରଣ କରିବା ସମ୍ଭବପର ହୁଏ ନାହିଁ ।

ଆଜକୁ ୪୦/୫୦ ବର୍ଷ ପୂର୍ବେ କେବଳ ଠାକୁରାଣୀ ଯାତ୍ରା କାହିଁକି ବର୍ଷତମାମ ବାଘ ନାଚିଲାବାଲାଙ୍କ ସାମାଜିକ ପ୍ରତିଷ୍ଠା ବଳବତ୍ତର ରହୁଥିଲା । ଜଣେ ଭଲ କ୍ରିକେଟର, ଫୁଟବଲର ବା ଚିତ୍ରତାରକା ଯେପରି ସ୍ୱତନ୍ତ୍ରପରିଚ଼ୟ ସୃଷ୍ଟି କରିଥାନ୍ତି, ସେଭଳି ଜଣେ ଭଲ ବାଘ ନାଚ ନାଚିଲାବାଲା ମଧ୍ୟ ଅନୁରୂପ ଲୋକପ୍ରିୟତା ହାସଲ କରିପାରୁଥିଲେ । ସେ ସମୟରେ ହୁଏତ ଆଜିକା ତୁଳନାରେ ଖୁବ୍ କମ୍ ସଂଖ୍ୟକ ବ୍ୟକ୍ତି ବାଘ ବେଶ ଧାରଣ କରୁଥିଲେ ଏବଂ ଏଥିପାଇଁ ସେମାନଙ୍କୁ ରୀତିମତ ପୂର୍ବ-ପ୍ରସ୍ତୁତି ବା ରିହାରସାଲ କରିବାକୁ ପଡ଼ୁଥିଲାକେଉଁ ସାହୀରନାଚିଲାବାଲା କେଉଁ ତାରିଖରେ ବାଘ ବେଶରେ ନାଚିବ ସେଥିପାଇଁ ଲୋକେ ତାରିଖ ଗଣି ଅପେକ୍ଷା କରୁଥିଲେ । ପ୍ରତ୍ୟେକ ବାଘ ସହ ଅନ୍ୟୂନ ୬୦ ରୁ ୧୦୦ ସାହୀବାଲା ତଥା ସଖା-ସହୋଦର ସହର ପରିଭ୍ରମଣ କରୁଥିଲେ । ସାହୀବାଲାଙ୍କ ମଧ୍ୟରେ ଭାଇଚ଼ାରାଏତାଦୃଶ୍ୟ ନୃତ୍ୟ ଆୟୋଜନରେ ପରିସ୍ଫୁଟିତ ହେଉଥିଲା । ଆଜିକାଲି ତ ଯିଏ ବେଶଧାରଣ ପାଇଁ ପଇସା ଯୋଗାଡ଼ କରିପାରୁଛି ସେ ବାଘ ନାଚ ପାଇଁ ଆଗେଇ ଆସୁଛି । ନା ପୂର୍ବପ୍ରସ୍ତୁତି ନା ନାଚିବା ଶୈଳୀରେ ପରିପକ୍ୱତା, ନା କୌଣସି ସାମୂହିକ ପ୍ରଚେଷ୍ଟା ବାଘ ନାଚ କ୍ଷେତ୍ରରେ ଦେଖିବାକୁ ମିଳୁଛି ।

ବାଘ ନାଚ ଏକ ବ୍ୟୟ ବହୁଳ ବ୍ୟାପାର । ବାଘ ନାଚ ପାଇଁ ଅନ୍ତତଃ ପକ୍ଷେ ଚାରିଗୋଟି ଚ଼ାଙ୍ଗୁ ବାଦ୍ୟର ଆବଶ୍ୟକତା ପଡ଼ିଥାଏ । ବାଦ୍ୟଗୁଡ଼ିକୁ ପ୍ରତି ଘଣ୍ଟାକରେ ଥରେ ନିଆଁ ସେକ ଦେବା ନିମନ୍ତେ ଗୋଟିଏ ପାଳ ବୋଝେଇ ଯାନ ନାଚ ଦଳ ସହ ଘୁରି ବୁଲୁ ଥାଏ । ପୂର୍ବେ ପେଟ୍ରୋମାକ୍ସ ଲଣ୍ଠନ ବ୍ୟବହୃତ ହେଉଥିବାବେଳେ ବର୍ତ୍ତମାନ ଜେନେରେଟର ଯୋଗେ ବଲବଆଲୋକର ବ୍ୟବସ୍ଥା କରାଯାଏ । ବାଘର ଶରୀରରେ ବାର୍ଣ୍ଣିସ୍ ଚିତ୍ରଣ, ମୁଣ୍ଡ, ପୋଷାକ, ସ୍ୱତନ୍ତ୍ର ଫୁଲମାଳ ତଥା ଚିତ୍ରକରର ମଜୁରି ବାବଦରେ ଖର୍ଚ୍ଚ ହୁଏ । ଶେଷରେ ବାଘ ନାଚ ସହ ରାତି ତମାମ ଘୁରି ବୁଲିବା ନିମନ୍ତେ ଅନ୍ତତଃ ପକ୍ଷେ କୋଡ଼ିଏ ଜଣ ଏକାଠି ହୋଇଥାନ୍ତି । ବାଘକୁ ଚିତ୍ରିତ କରିବା, ମନ୍ଦିରକୁ ମୁଖା ନେଇ ପୂଜା କରିଆସିବା କାମରେ ମଧ୍ୟ ସେମାନେ ସାମିଲ ହୁଅନ୍ତି । ସମସ୍ତଙ୍କ ଦିନକର ଖାଦ୍ୟପେୟ ବାବଦରେ ମଧ୍ୟ ଖର୍ଚ୍ଚ କରିବାକୁ ପଡ଼ିଥାଏ ।

ବାଘ ବେଶ ପାଇଁ ଚିତ୍ରଣ କାର୍ଯ୍ୟ ପୂର୍ବାହ୍ନରୁ ଆରମ୍ଭ ହୋଇଯାଏ । ଶରୀରର ଲୋମ ଖିଅର ହୋଇ ସ୍ନାନାଦି କାର୍ଯ୍ୟ ପରେ ବାର୍ଣ୍ଣିସରେ ପ୍ରଲେପ ଦିଆଯାଇଥାଏ । ଠାକୁରାଣୀଙ୍କଠାରେ ମୁଖା ପୂଜା ହୋଇଆସିବା ପରେ ବାଦ୍ୟ ବାଦକଙ୍କସହ ବାଘ ପ୍ରଥମେ ଅସ୍ଥାୟୀ ମନ୍ଦିର ଆସି ଦେବୀଙ୍କ ଦର୍ଶନ କରେ । ତତ୍ପରେ ନିଜ ପରିଚିତ ପରିବାରଗୁଡ଼ିକୁ ବୁଲି ନାଚ଼େ । ଅତୀତରେ ବାଘ ନାଚ ସାରା ରାତି ଚାଲୁଥିଲା । ତେବେ ପୋଲିସ କଟକଣା ଅନୁଯାୟୀ ଆଜିକାଲି ରାତି ୧୧ ରୁ ସକାଳ ୫ ଯାଏଁ ବାଘ ନାଚ ପ୍ରଦର୍ଶନ ବାରଣ କରାଯାଇଛି ।

No comments: